ବିଜେପିରୁ ଇସ୍ତଫା ଦେଲେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ | ଗତ କିଛି ଦିନ ଧରି ଲାଗିରହିଥିବା ମାନ ଓ ଅଭିମାନ ମଧ୍ୟରେ ଆଜି ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ | ଏନେଇ ସେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡାଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି | ଦଳ ତାଙ୍କ ଆବଶ୍ୟକତା ଅନୁଭବ କରୁନଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି | ତେବେ ଦଳ କିମ୍ବା ନେତୃତ୍ୱଙ୍କ ବିରୋଧରେ ତାଙ୍କର କୌଣସି ଅସୂୟା ବା ଅଭିଯୋଗ ନାହିଁ ବୋଲି ପତ୍ରରେ ସ୍ପଷ୍ଟ କରିଛନ୍ତି ଦାମ |

ବସନ୍ତ ପଣ୍ଡାଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଦାମ ଲେଖିଛନ୍ତି, “ଗତ ସାଧାରଣ ନିର୍ବାଚନ ପରେ ଭାରତୀୟ ଜନତା ପାର୍ଟିର ଦଳୀୟ କାର୍ଯ୍ୟକ୍ରମ କିମ୍ବା ନୀତି ନିଷ୍ପତ୍ତି ପ୍ରକ୍ରିୟାରେ ମୋ ଉପସ୍ଥିତି ବା ସଂପୃକ୍ତି ଆଦୌ ଆବଶ୍ୟକ ହେଉ ନଥିବା ମୁଁ ଅନୁଭବ କରୁଛି । ଏହା ମୋ ଭିତରେ ଗଭୀର ମାନସିକ ଅସନ୍ତୁଳନ ସୃଷ୍ଟି କରିଛି । ରାଜ୍ୟ ବିଧାନସଭାରେ ୩୫ ବର୍ଷ ବିଧାୟକ ଏବଂ ପ୍ରାୟ ୬ ଥର କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ କାର୍ଯ୍ୟ କଲା ପରେ ଏବେ ମୋର ଅଲୋଡ଼ା ଓ ଅନାବଶ୍ୟକ ସ୍ଥିତି ସକ୍ରିୟ ନିର୍ବାଚନ ରାଜନୀତିରୁ ସଂପୂର୍ଣ୍ଣ ଅବ୍ୟାହତି ନେବା ପାଇଁ ବାଧ୍ୟ କରୁଛି ।” ସେ ଲେଖିଛନ୍ତି, “ପରିଣତ ବୟସରେ ଦଳୀୟ ନିର୍ବାଚନ ରାଜନୀତିରେ ନିଜକୁ ସଂଶ୍ଳିଷ୍ଟ ନକରି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ଜଣେ ଉତ୍ସର୍ଗୀକୃତ ଅନୁଗତ ଭାବରେ ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇଁ ରଚନାତ୍ମକ କାର୍ଯ୍ୟକଳାପରେ ଅବଶିଷ୍ଟ ଜୀବନ ବିତାଇବା ପାଇଁ ମୁଁ ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରୁଛି ।”

LEAVE A REPLY

Please enter your comment!
Please enter your name here