ରାୟଗଡାରେ ପ୍ଲାନେଟୋରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭ ଦେଇଛନ୍ତି । ବୁଧବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ଅନୁଷ୍ଠାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଜ୍ଞାନକୁ ଲୋକପ୍ରିୟ ଓ ଉପଯୋଗୀ କରିବା ପାଇଁ ତିରିଶଟି ଜିଲ୍ଲାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି କହିଛନ୍ତି । ଏଥିପାଇଁ ଶହେକୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହାଦ୍ବାରା ଛାତ୍ରଛାତ୍ରୀମାନେ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହ ବୈଜ୍ଞାନିକ ମନୋବୃତ୍ତି ନେଇ ଆଗକୁ ବଢିପାରିବେ । ସେହିପରି ରାଜ୍ୟରେ ଏବେ ଦୁଇଟି ପ୍ଲାନେଟୋରିୟମ ଥିବା ବେଳେ ଆଉ 6ଟି ପ୍ଲାନୋଟିୟମ ପ୍ରତିଷ୍ଠା କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭୁବନେଶ୍ବର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ 3-D ପ୍ଲାନେଟାରିଅମ କରାଯିବ ସେ କହିଛନ୍ତି ।
ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରିବା ସହ ନଲେଜ ଇକୋନୋମି ଦିଗରେ ଅଗ୍ରସର ହେଉଛି । ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ।

ଏହି କାର୍ଯ୍ୟକ୍ରମରେ ରାୟଗଡ଼ା ଠାରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା, ଜୟପୁର ଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓ, ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here