କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ୧୩ ଜଣଙ୍କ ଜୀବନ ଯାଇଛି। ସେଥିପାଇଁ ବଡ଼ ଆକ୍ସନ ନିଆଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୪ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନିଲମ୍ବନ କରାଯାଇଛି। ନିଲମ୍ୱିତ ଅଧିକାରୀମାନେ ହେଲେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା, କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ ବେହେରା,ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିଲେ। ଏହାସହ ଏହି ମାମଲାର ବିଚାରବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। କଟକ ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରି ତଦନ୍ତ କରିବାକୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର।













