ଖବରକାଗଜ ହକରଙ୍କ ଲାଗି ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଏହାର ଶୁଭାରମ୍ଭ କରି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସହାୟତା ପ୍ରଦାନ କରିଛନ୍ତି । ପଞ୍ଜୀକୃତ ଖବରକାଗଜ ହକରଙ୍କ ଲାଗି ମୁଖ୍ୟମନ୍ତ୍ରୀ ୬ ହଜାର କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟର ପଞ୍ଜୀକୃତ ୭ ହଜାର ତିନିଶହ ହକରଙ୍କୁ 6 ହଜାର ଟଙ୍କା ଲେଖାଁଏ କୋଭିଡ ସହାୟତା ରାଶି ପ୍ରଦାନ କରାଯାଇଛି । ପ୍ରଥମ ପର୍ୟ୍ୟାୟରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ 4.38 କୋଟି ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ।

ଏହି ସହାୟତା ରାଶି ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତୀର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ ।
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଶ୍ରୀ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ଶ୍ରୀ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here