ଆଜି ପବିତ୍ର ମକର ସଙ୍କ୍ରାନ୍ତି । ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କର ମକର ନୀତି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଆଜି ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ , ଅବକାଶ ନୀତି ବଢିବା ପରେ ଶ୍ରୀଜିଉଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥିଲା । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥିଲା । ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ବଢ଼ିଥିଲା । ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର‌୍ୟ୍ୟଙ୍କର ଆରମ୍ଭ ହେବ ଉତ୍ତରାୟଣ ଗତି । ଏହି ଉତ୍ତରାୟଣ ସମୟ ଅତିବ ଶୁଭଙ୍କର । ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ସଜିତ ହୋଇଛନ୍ତି ଶ୍ରୀଜିଉ । ସେହିପରି ବିଭିନ୍ନ ଦେବାଦେବୀଙ୍କ ପାଖରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ହୋଇଛି । ହେଲେ କରୋନା କଟକଣା ପାଇଁ ମକର ମେଳା ଆୟୋଜନ ବନ୍ଦ ରହିଛି । ସଙ୍କ୍ରମଣ ହୁ ହୁ ହୋଇ ବଢୁଥିବାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମକର ମେଳା ପାଇଁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here