ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ଓଡ଼ିଆମାନଙ୍କର ପଣା ସଂକ୍ରାନ୍ତି । ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ପାଳନ କରାଯାଏ । । ଆଜି ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଛତୁଆ, ବେଲ, ଦହି, ଗୁଡ଼, କଦଳୀ, ନଡିଆ, ଗୋଲ ମରିଚ ଓ କଞ୍ଚା ଆମ୍ବ ମିଶ୍ରଣରେ ପଣା ପ୍ରସ୍ତୁତ କରାଯାଇଥାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ବୃନ୍ଦବତୀରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ ।ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ । ଏହି ଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି ।

LEAVE A REPLY

Please enter your comment!
Please enter your name here